ଅବପାତର ରୂପ ନେବ ଲଘୁଚାପ; ୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ସମ୍ପୃକ୍ତ ଲଘୁଚାପ ଆସନ୍ତା ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗକୁ ମୁହଁାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି।
ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜର ବାଙ୍ଗିରପୋଷିରେ ସବୁଠୁ ଅଧିକ ୧୫୯ ମି.ମି ବର୍ଷା ହୋଇଥିବା ବେଳେ ଚନ୍ଦନପୁରରେ ୯୯.୬ମି.ମି., ବିଜାତଳାରେ ୯୦ମି.ମି. ବର୍ଷା ହୋଇଛି। ବାଲେଶ୍ବର ଜିଲାର ଭୋଗରାଇରେ ୭୩ମି.ମି ଏବଂ ରେମୁଣାରେ ୫୩ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋରଧା, ନୟାଗଡ଼, ବଲାଙ୍ଗିର, କଳହାଣ୍ଡି, କନ୍ଧମାଳ, ରାୟଗଡ଼ା କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍‌ ସାହୁ କହିଛନ୍ତି, ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଆହୁରି ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଝିପିଝିପି ବର୍ଷା ଲାଗି ରହିଛି। ମଧ୍ୟରାତିରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ଉପକୂଳରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଭଲ ବର୍ଷା ହୋଇପାରେ। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ନଦୀଜଳସ୍ତର ବୃଦ୍ଧି ନେଇ ମଧ୍ୟ ନଜର ରଖାଯାଉଛି। ସୂଚନାଯୋଗ୍ୟ, ଜୁଲାଇ ଶେଷ ସପ୍ତାହରୁ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବନ୍ୟା ପରିସ୍ଥିତି ଲାଗି ରହିଥିବା ବେଳେ ପୁଣି ଲଘୁଚାପ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଲଘୁଚାପ ଉତ୍ତରରେ ବନ୍ୟା ପରିସ୍ଥିତିକୁ ଆହୁରି ଉତ୍କଟ କରିବାର ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *